୨୫ କୋଟିର ଛ’ ପ୍ରକଳ୍ପ ଲୋକାର୍ପିତ : ମାଲକାନଗିରି ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର: ନବୀନ

November 22, 2022, ଓଡ଼ିଶା, , Anupambharat News Bureau


୨୫ କୋଟିର ଛ’ ପ୍ରକଳ୍ପ ଲୋକାର୍ପିତ : ମାଲକାନଗିରି ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର: ନବୀନ
Anupambharat News Bureau
November 22, 2022


ଭୁବନେଶ୍ୱର, ୨୨ା୧୧(ଅନୁପମ ମିଡ଼ିଆ): ­ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ ।
ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ । ମୋର ପୂର୍ଣ୍ଣ ବିଶ୍ୱାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ । ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ ।’ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି ­ ଅନେ୍ୱଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ । ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି । ମୋଟୁ ଟ୍ରାଇ ଜଙ୍କସନରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି । ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ୱଧାର ଗୃହ । ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି । ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ ­ ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ବୋଲି ସେ କହିଥିଲେ ।
ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ୱରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ମାଟ୍ରିକ ଏସଏ-୧ ପରୀକ୍ଷା

ଆଜିଠୁ ମାଟ୍ରିକ ଏସଏ-୧ ପରୀକ୍ଷା

Read More...

 ଇଣ୍ଡୋନେସିଆ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୨୬୮କୁ ବୃଦ୍ଧି

ଇଣ୍ଡୋନେସିଆ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୨୬୮କୁ ବୃଦ୍ଧି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page